ଅବପାତ ରୂପ ନେବ ଲଘୁଚାପ ଉତ୍ତର ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବୁଧବାର ସକାଳେ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ସଦୃଶ୍ୟ ଲଘୁଚାପ ରୂପ ନେଇପାରେ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଅବପାତ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳ ମୁହଁାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ବାଲେଶ୍ବର, ଭଦ୍ରକ, କେନ୍ଦୁଝର ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି, ଉପକୂଳବର୍ତ୍ତୀ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କିଛି ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିପାରେ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ରେଡ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି, ଗୁରୁବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ବର ଓ ଭଦ୍ରକକୁ ରେଡ୍ୱାର୍ଣ୍ଣିଂ ଜାରି କରାଯାଇଛି।
ଯାଜପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ ଏବଂ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହି ସବୁ ଜିଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦ୍ରାପଡ଼ା, ଜଗତସିଂହପୁର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟାନ୍ୟ ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବା ଦ୍ବାରା ପ୍ରବାହିତ ନଦୀର ଜଳସ୍ତର ବୃଦ୍ଧି ପାଇବ।
ପାଣିପାଗ ବିଶେଷଜ୍ଞ ବିଶ୍ବଜିତ୍ ସାହୁ କହିଛନ୍ତି, ଅବପାତ ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି(ଗୁରୁବାର)ସନ୍ଧ୍ୟାରୁ ଉପକୂଳବର୍ତ୍ତୀ ଜିଲାଗୁଡିକରେ ବର୍ଷା ଆରମ୍ଭ ହୋଇଯିବ। ସୃଷ୍ଟ ଲଘୁଚାପ ସମୁଦ୍ର ଭିତରେ ଥିବାରୁ ବର୍ତ୍ତମାନ ବର୍ଷା କମ ରହିଛି।ଗତ ୧୫ଦିନ ମଧ୍ୟରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଯୋଗୁଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ବନ୍ୟା ଆସିଥିଲା। ଏବେ ବି ଲୋକେ ବନ୍ୟା ପ୍ରଭାବରୁ ମୁକୁଳି ନଥିବା ବେଳେ ପୁଣି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କଲାଣି।
ସୌଜନ୍ୟ ସମାଜ




