Chief Minister reviews: ଆଇନଶୃଙ୍ଖଳା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସଂଗଠିତ ଅପରାଧକୁ ନିୟନ୍ତ୍ରଣ କର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁଣି ଥରେ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରିଛନ୍ତି। ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ବରିଷ୍ଠ ଅଧିକାରୀ, ଜିଲ୍ଲାପାଳ ଓ ଏସ୍‌ପିମାନେ ଏଥିରେ ସାମିଲ ହୋଇଥିଲେ। ରାଜ୍ୟ ପୁଲିସ ଏଭଳି ପଦକ୍ଷେପ ନେଉ, ଯାହା ଦ୍ୱାରା ପୁଲିସ ସାଧାରଣ ଲୋକଙ୍କ ବିଶ୍ୱାସଭାଜନ ହେବା ସହିତ ଅପରାଧୀମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସଂଗଠିତ ଅପରାଧକୁ ନେଇ ଉଦ୍‌ବେଗ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଏପରି ଅପରାଧକୁ ସମ୍ପୂର୍ଣ୍ଣ ଭାବେ ନିର୍ମୂଳ କରିବାକୁ ପଡ଼ିବ। ରାଜ୍ୟରେ ଯେପରି ନକ୍ସଲ ଅପରାଧକୁ ଦମନ କରାଯାଇଛି, ସେହିପରି ବାଲି ମାଫିଆମାନଙ୍କୁ ମଧ୍ୟ ସମ୍ପୂର୍ଣ୍ଣ ଭାବରେ ଦମନ କରିବାକୁ ହେବ। ଯେକୌଣସି ସ୍ଥାନରେ ଅସାମାଜିକ ତତ୍ତ୍ୱ ବିରୋଧରେ ପୁଲିସ ଆଇନ ଅନୁଯାୟୀ ଆଗୁଆ ପଦକ୍ଷେପ ନେଇ ଅପରାଧ ସମ୍ଭାବନାକୁ କମ୍ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଜିଲ୍ଲାପାଳ ଓ ଏସ୍‌ପିମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେମାନେ ଜିଲ୍ଲାସ୍ତରରେ ନିୟମିତ ଭାବେ ଜିଲ୍ଲାର ଆଇନଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରି ପୁଲିସ ମହାନିର୍ଦ୍ଦେଶକ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ପଠାନ୍ତୁ। ମୁଖ୍ୟ ଶାସନ ସଚିବ ମଧ୍ୟ ଜିଲ୍ଲାର ସ୍ଥିତି  ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀଙ୍କୁ ନିୟମିତ ଭାବେ ଅବଗତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ଜିଲ୍ଲାପାଳ ଏବଂ ଏସ୍‌ପିମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟକୁ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଇଥିଲେ। ପୁଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆ ପୁଲିସ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ରଙ୍କ ସମେତ ବରିଷ୍ଠ ପ୍ରଶାସନିକ ଓ ପୁଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।

ସୌଜନ୍ୟ ସମ୍ବାଦ