Heavy Rain Alert: ୪ ଦିନ ଛାଡ଼ିବନି ବର୍ଷା, ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ପ୍ରବଳ ଛେଚିବ, ଆଜି ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର, ୩୧/୦୮: ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୪ ଦିନ ନିର୍ଧୂମ ବର୍ଷିବ । ପଶ୍ଚିମ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ତେବେ ଅଧିକାଂଶ ନଦୀର ଜଳସ୍ତର କମୁଥିବାରୁ ବନ୍ୟା ଆଶଙ୍କା ନ ଆଶଙ୍କା ନାହିଁ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଉଛି। ଆସନ୍ତା ୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ସୋମବାର ବରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାରେ ପ୍ରବଳ ବର୍ଷା ହୋଇପାରେ। ୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ୨ ଓ ୩ ତାରିଖରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଅଛି। ରବିବାର ସକାଳରୁ ରାତି ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଥିଲା।
ସୌଜନ୍ୟ ପ୍ରମେୟ




